ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଆଉ ୨୪ ଘଣ୍ଟା ଲାଗିରହିବ ପ୍ରବଳ ବର୍ଷା

ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗିରହିବ। ଢେଙ୍କାନାଳ, ଅନୁଗୁଳ ସମେତ କଟକ, ଖୋର୍ଧା, ନୟ‌ାଗଡ଼, ଯାଜପୁର, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ। ତାହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉକ୍ତ ୯ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏଥିସହ ଉତ୍ତର ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର ଓ ଦେବଗଡ଼ରେ ଘଡ଼ଘଡ଼ି ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ୧୫ ତାରିଖ ପୂର୍ବାହ୍ନଠାରୁ ୧୬ ତାରିଖ ସକାଳ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶା ସମେତ ବଲାଙ୍ଗୀର, ନୂଆପଡ଼ା, ବୌଦ୍ଧ, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାର ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହ ବଜ୍ରପାତ ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ପାଣିପାଗ କେନ୍ଦ୍ର ନିର୍ଦେଶକ ଏଚ୍‌ ଆର ବିଶ୍ବାସଙ୍କ କହିବାନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ କନ୍ଧମାଳ ସମେତ ଦକ୍ଷିଣ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି। ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ପରିମାଣ ସାମାନ୍ୟ କମ୍‌ ରହିଛି। ଉପକୂଳ ଓଡ଼ିଶାରେ ବର୍ଷା ହୋଇଛି। ତେଲେଙ୍ଗାନା ଉପରେ ଥିବା ଅବପାତର ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ। ତେବେ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରଠାରୁ ପୂର୍ବକେନ୍ଦ୍ରୀୟ ଆରବ ସାଗର ପର୍ଯ୍ୟନ୍ତ ଏକ ଟ୍ରପ୍‌ଲାଇନ୍‌ ଯାଇଥିବାରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ମତ୍ସ୍ୟଜୀବୀଙ୍କ ଲାଗି କୌଣସି ସତର୍କ ସୂଚନା ନାହିଁ।

The post ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଆଉ ୨୪ ଘଣ୍ଟା ଲାଗିରହିବ ପ୍ରବଳ ବର୍ଷା first appeared on Sambad.



from ରାଜ୍ୟ – Sambad https://ift.tt/2ImxKYb

Post a Comment

0 Comments